ଖଜୁରୀପଡ଼ା,୧୫।୧୦(ମନୋଜ କୁମାର ବେହେରା):କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ବଳସକୁମ୍ପା ଆଞ୍ଚଳିକ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ସୋମବାର ଖଳିଗୁଡ୍ରୀସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ କେନ୍ଦ୍ର ସାଧନ ସଂଯୋଜକ (ସିଆରସିସି) ନିଳାନ୍ଦ୍ରି ବିହାରୀ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ମହୋତ୍ସବରେ ୯ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଭାଗ ନେଇ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।କାର୍ଯ୍ୟକ୍ରମରେ ବଲସକୁମ୍ପା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଦୀପ କୁମାର ଦଳବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିଦୁର ବେହେରା , ଖଳିଗୁଡ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ମକରନ୍ଦ କହଁର ଏବଂ ବାରିକୁମ୍ପା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଚିତ୍ରା ଦିଗାଲ ଯୋଗଦେଇଥିଲେ। ଶିଶୁମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଏବଂ ଭବିଷ୍ୟତରେ ଦକ୍ଷ ଓ ସଫଳ ନାଗରିକ ଭାବେ ଗଢ଼ିତୋଳିବା ଏହି ମହୋତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଙ୍ଗୀତ, ନୃତ୍ୟ, ବକ୍ତୃତା, ପ୍ରବନ୍ଧ ଲିଖନ, ଚିତ୍ରକଳା ଓ ସାଧାରଣ ଜ୍ଞାନ ଆଦି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ପ୍ରତିଯୋଗୀମାନେ ନିଜର ଦକ୍ଷତା ପ୍ରଦର୍ଶନ କରି ଉପସ୍ଥିତ ଅତିଥି ଓ ଶିକ୍ଷକମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ମାନପତ୍ର ଓ ଟ୍ରଫି ପ୍ରଦାନ କରି ପୁରସ୍କୃତ କରିଥିଲେ। ଖଳିଗୁଡ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ। ଆଞ୍ଚଳିକ କେନ୍ଦ୍ର ଅନ୍ତର୍ଗତ ୯ଟି ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସହଯୋଗ କରିଥିଲେ।

